অসমীয়া   বাংলা   बोड़ो   डोगरी   ગુજરાતી   ಕನ್ನಡ   كأشُر   कोंकणी   संथाली   মনিপুরি   नेपाली   ଓରିୟା   ਪੰਜਾਬੀ   संस्कृत   தமிழ்  తెలుగు   ردو

ଦୀପାବଳୀ

ଦୀପାବଳୀ ଏକ ଭାରତୀୟ ପର୍ବ । ଏହା ଆଲୁଅର ପର୍ବ ଭାବରେ ପାଳନ କରାଯାଇଥାଏ । ଏହି ପର୍ବ ନାନାଦି କାରଣ ହେତୁ ଅକ୍ଟୋବରର ଅଧାରୁ ନଭେମ୍ବର ଅଧା ଭିତରେ ପଡ଼ିଥାଏ ।ହିନ୍ଦୁମାନଙ୍କ ପାଇଁ ଦୀପାବଳୀ ଏକ ମୁଖ୍ୟ ପର୍ବ ଯାହା ଘରେ ନାନାଦି ପାରମ୍ପରିକ ଢଙ୍ଗରେ ପାଳନ କରାଯାଇଥାଏ ।

ଜୈନ

ଜୈନ ଅନୁଗାମୀମାନଙ୍କ ପାଇଁ ଏହା ୫୨୭ରେ ମହାବୀରଙ୍କର ମୋକ୍ଷ ବା ନିର୍ବାଣ ପ୍ରାପ୍ତିର ଦିନ ଭାବରେ ପାଳନ କରାଯାଇଥାଏ ।

  • ଜୈନଧର୍ମରେ ଦୀକ୍ଷିତ ବ୍ୟକ୍ତିମାନେ ୨୪ତୀର୍ଥଙ୍କର ମହାବୀରଙ୍କର ନିର୍ବାଣ ଦିବସ ରୂପେ ଏହିଦିବସକୁ ପାଳନ କରିଥା'ନ୍ତି । ଏ ସମ୍ପର୍କରେ ଗୋଟିଏ କାହାଣୀ ରହିଛି । ମହାବୀରଙ୍କର ଯେତେବେଳେ ମହାପ୍ରୟାଣ ଘଟିଲା, ସେତେବେଳେ ତାଙ୍କପାଖରେ ବହୁ ଜୈନ ଧର୍ମାବଲମ୍ବୀ ସନ୍ନ୍ୟାସୀ ଭକ୍ତ ଉପସ୍ଥିତ ହୋଇଥିଲେ । ମହାପ୍ରୟାଣ ପରେ ଏ ପୃଥିବୀ ପାଇଁ କିଏ ଆଉ ଜ୍ଞାନାଲୋକ ଦେବ, ଏହା ହିଁ ସେମାନେ ଚିନ୍ତାକଲେ । ସେମାନେ ସମସ୍ତେ ଏକତ୍ରିତ ହୋଇ ଦୀପାବଳୀ ଦିନ ମଶାଲ ଜଳାଇ ଦିବ୍ୟଜ୍ଞାନ ସନ୍ଧାନରେ ଯାଇଥିଲେ । ସେହିଦିନରୁ ଦୀପାବଳୀ ଦିନ ଆଲୋକ ଜଳେବାର ଚାଳିଆସୁଛି ।
  • ଖ୍ରୀଷ୍ଟପୂର୍ବ ୫୨୭ରେ ମହାବୀରଙ୍କୁ ଏହିଦିନରେ ନିର୍ବାଣ ପ୍ରାପ୍ତି ହୋଇଥିଲା । ସେହିଦିନକୁ ସ୍ମରଣକରିବା ପାଇଁ ଜୈନମାନେ ଦୀପାବଳୀ ପାଳନ କରନ୍ତି । ଏହି ଅବସରରେ ଦୀପ ଜଳାଯାଏ ଏବଂ ମିଷ୍ଟାନ୍ନ ବଣ୍ଟାଯାଏ । ଜୈନ ବ୍ୟବସାୟୀମାନେ ହିସାବଖାତା ଏବଂ ମୁଦ୍ରା ପୂଜାକରନ୍ତି । ସେହିବର୍ଷ ପାଇଁ ହିସାବଖାତା ବନ୍ଦ କରାଯାଏ । ପରବର୍ତ୍ତୀ ଆଠଦିନ କୌଣସି ବ୍ୟବସାୟ କରନ୍ତି ନାହିଁ । ସେମାନେ ଉପବାସ କରନ୍ତି; ଜପତପ କରନ୍ତି । ନବମଦିନରେ ଜୈନ ନବବର୍ଷ ପାଳିତ ହୁଏ ।
  • ଜୈନ ଧର୍ମାବଲମ୍ବୀଙ୍କ ଭଗବାନ ମହାବୀରଙ୍କ ନିର୍ବାଣପ୍ରାପ୍ତି ଦିବସ ଓ ଭଗବାନ ମହାବୀରଙ୍କ ଉତ୍ତରାଧ୍ୟାୟନ ସୂତ୍ର- ଶେଷପ୍ରବଚନ ପାଠର ମହାର୍ଘ୍ୟତିଥି ଭାବେ ଉତ୍ସାହର ସହିତ ଦୀପାବଳୀ ଉତ୍ସବ ପାଳନ କରାଯାଏ ।
  • ଏହିଦିନଟିକୁ ଶିଖ‌ମାନଙ୍କ ପାଇଁ ଷଷ୍ଠଧର୍ମଗୁରୁଙ୍କ ସଂସ୍କରଣ ବନ୍ଦୀଛୋଡ୍ ଦିବସ ରୂପେ ପାଳନକରାଯାଏ ।

ଶିଖ

ଏକଦଶଦର୍ଶି ମୋଗଲ ସମ୍ରାଟ ଔରଙ୍ଗଦେବଙ୍କ ଦ୍ଵାରା ଶିଖ‌ଧର୍ମର ଷଷ୍ଠଗୁରୁ ହରଗୋବିନ୍ଦ ସିଂହ ବନ୍ଦୀହୋଇ କାରାକୋଠରୀରେ ଆବଦ୍ଧ ହୋଇଥିଲେ । ଅଗଣିତ ଶିଖ ଧର୍ମାବଲମ୍ବୀଙ୍କ ଦୃଢବିରୋଧ ଯୋଗୁଁ ପରିଶେଷରେ ତାଙ୍କୁ କାରାମୁକ୍ତ କରାଗଲା । ତାଙ୍କୁ ସ୍ଵାଗତକରିବା ପାଇଁ ସେତେବେଳେ ସ୍ଵର୍ଣ୍ଣମନ୍ଦିରକୁ ଦୀପରେ ସଜାଯାଇଥିଲା । ସେ ଏହି ଦୀପାବଳୀଦିନ କାରାମୁକ୍ତ ହୋଇ ଥିବାରୁ, ଏହିଦିନଟିକୁ ଅନ୍ଧାରରୁ ଆଲୋକସନ୍ଧାନ ପ୍ରାପ୍ତିର ଦିବସ ରୂପେ ଶିଖ ସମ୍ପ୍ରଦାୟ ପାଳିଆସୁଛନ୍ତି । ପାରମ୍ପରିକ ଭାବେ ଏହିଦିନରେ ଶିଖ‌ମାନେ ଗୋଇନ୍ଦୱ।ଲ୍ ସାହିବ ଗୁରୁଦ୍ଵାରକୁ ତୀର୍ଥକରି ଯାଆନ୍ତି ।

ପୌରାଣିକ

କାର୍ତ୍ତିକ ଅମାଵାସ୍ୟା ରେ ଦୀପାବଳୀ ଉତ୍ସବ ପାଳନ କରାଯାଏ । ଏହି ପର୍ବ ପ୍ରାୟ ସମସ୍ତ୍ରେ ପାଳନ କରନ୍ତି । ଘରେ ଘରେ ସେଦିନ ଦୀପ ଜଳେ, ବାଣ ଫୁଟାଯାଏ । ଶ୍ରାଦ୍ଧ କରାଯାଏ । ପିଠାପଣା ହୁଏ । ଦୀପାବଳୀ ଉତ୍ସବ ପାଳନ ବିଷୟରେ ନାନାପ୍ରକାର ପୁରାଣ ଓ ଲୋକକଥା ଶୁଣାଯାଏ । ଏହି ଦୀପାବଳୀ ଅମାବାସ୍ୟାକୁ ଲୋକାକ୍ତି ରେ ପୟାଅମାବାସ୍ୟା କହନ୍ତି ।

ରାମାୟଣ

ସତ୍ୟଯୁଗରେ ପ୍ରଭୁ ରାମଚନ୍ଦ୍ର ରାବଣକୁ ମାରି ସୀତାଙ୍କୁ ଉଦ୍ଧାର କରି ଅଯୋଧ୍ୟା ଫେରିଲେ । ଅଯୋଧ୍ୟାର ସମସ୍ତନରନାରୀ ଶ୍ରୀରାମଙ୍କ ଅସତ୍ୟ ଉପରେ ସତ୍ୟର ବିଜୟ ନିମନ୍ତେ ଆନନ୍ଦରେ ବିଭିନ୍ନ ପ୍ରକାର ଆଲୋକ ଜଳେଇଥିଲେ । ସେହି ଦିନରୁ ଏହି ଉତ୍ସବ ପାଳନ କରାଯାଉଛି । ଉତ୍ତର ଭାରତରେ ପୁରୁଷୋତ୍ତମ ରାମଚନ୍ଦ୍ରଙ୍କର ଭକ୍ତମାନେ ଏହିଦିନ ଟିକୁ ବହୁ ଯାକଜମକରେ ପାଳନ କରନ୍ତି ।

  • 'ଉତ୍ସବ ତତ୍ତ୍ଵାଭିଧାନ' ଅନୁଯାୟୀ ଏକଦା କାର୍ତ୍ତିକ(ତୁଳା)ମାସ- ଘନଅନ୍ଧକାର କୃଷ୍ଣପକ୍ଷରେ ଜଣେ ଭବିଷ୍ୟଦ୍ରଷ୍ଟା ଜ୍ୟୋତିଷ ପ୍ରଭୁ ଶ୍ରୀରାମଙ୍କୁ ବିପର୍ଯ୍ୟସ୍ଥ ଦୁର୍ଭାଗ୍ୟ କାଳସର୍ପ ରୂପେ ଅମାରାତିରେ ଦଂଶନକରିବା ପାଇଁ ଲୁଚିଛପି ଆସିବାର ଭବିଷ୍ୟବାଣୀ କରିଥିଲେ । ସତର୍କତାପୂର୍ବକ ଅଯୋଧ୍ୟା ରାଜନଗରୀର କୃଷ୍ଣପକ୍ଷ ସାରା ଉଜ୍ଜଳଆଲୋକ ପ୍ରଜ୍ଜଳନ କରାଯାଇଥିଲା ଏବଂ କାଳସର୍ପ ଦଂଶନର ଚକ୍ରାନ୍ତ ପଣ୍ଡହୋଇଥିଲା ।
  • ଦୈତ୍ୟରାଜ ବଳି ମହାଦାନୀ ଥିଲେ । ସେ ଏପରି ଦାନ କଲେ ଯେ ସ୍ଵର୍ଗର ଦେବତାମାନଙ୍କ ମଧ୍ୟରେ ଭାଳେଣି ପଡ଼ିଗଲା , କାରଣ ତାଙ୍କର ପୂଣ୍ୟ ଫଳରେ ସେ ସ୍ଵର୍ଗପୁରର ଅଧିକାରୀ ହେଇପାରନ୍ତି । ଏଣୁ ଦେବତାମାନଙ୍କ କଥା ରକ୍ଷାକରି ବିଷ୍ଣୁ ବାମନ ଅବତାର ଗ୍ରହଣ କରି ବଳିରାଜଙ୍କ ପାଖରେ ପହଞ୍ଚି ତାଙ୍କୁ ତିନିପାଦ ଭୂମି ମାଗିଥିଲେ । ଗୋଟିଏ ପାଦରେ ପୃଥିବୀ, ଗୋଟିଏ ପାଦରେ ସ୍ଵର୍ଗ ଏବଂ ତୃତୀୟ ପାଦରେ ବଳିଙ୍କୁ ପାତାଳକୁ ଚାପିଦେଲେ । ତେଣୁ ସେ ପାତାଳ ପୁରକୁ ଚାଲିଗଲେ । ତା' ପରେ ବଳିଙ୍କ ପ୍ରାର୍ଥନା ଶୁଣି ପାତାଳରେ ବଳିକୁ ରାଜା କରିଦେଲେ । ବର୍ଷକରେ ଥରେ ମର୍ତ୍ତ୍ୟପୁରକୁ ଆସି ପ୍ରଜାମାନଙ୍କୁ ଦେଖିବାକୁ ବଳି ବର ମାଗନ୍ତେ ବିଷ୍ଣୁ ଏଥିରେ ସମ୍ମତି ଜଣାଇ କାର୍ତ୍ତିକ ଶୁକ୍ଲ୍ଲ ପ୍ରତିପଦା ଦିନ ଦିନ ବଳି ମର୍ତ୍ତ୍ୟକୁ ଆସିବାକୁ ତଥାସ୍ତୁ କହିଲେ । ତେଣୁ ସେଦିନକୁ ମର୍ତ୍ତ୍ୟବାସୀ ଆନନ୍ଦର ଦୀପ ଜାଳି ଆଲୋକିତ କରନ୍ତି ।
  • ଭଗବାନ ବିଷ୍ଣୁ ଭକ୍ତପ୍ରହ୍ଲାଦଙ୍କୁ ଇନ୍ଦ୍ରପଦ ଯାଚିବାରୁ ସେ ବିନୀତଭାବେ ପ୍ରତ୍ୟାଖାନ କରିବାରୁ, ତାଙ୍କର ନାତି ବଳୀରାଜାଙ୍କୁ ଏହିଦିନ 'ଇନ୍ଦ୍ରପଦ' ପ୍ରଦାନ କରିଥିଲେ । ତେଣୁ ଦାନବଗଣ ଦୀପଜଳାଇ, ବାଣ, ଆତସବାଜି ଫୁଟାଇ ଉତ୍ସବ ପାଳିଥିଲେ ।
  • ବିରୋଚନ ପୁତ୍ର ବଳି ଇନ୍ଦ୍ର ଓ ମରୁତଗଣଙ୍କୁ ପରାସ୍ତ କରି ତ୍ରିଭୁବନ ଜୟକରି ପ୍ରଜାପାଳନ କରୁଥିଲେ । ଦାନପାଇଁ ସେ ପ୍ରସିଦ୍ଧ ଥିଲେ ଏବଂ ଯେ ଯାହା ମାଗୁଥିଲେ, ତାହା ଦାନ କରୁଥିଲେ । ତାଙ୍କର ବିକ୍ରମ ଓ ଦାନର ପ୍ରଭାବରେ ସେ ଇନ୍ଦ୍ର ଓ ଦେବତାମାନଙ୍କୁ ନିଷ୍ପ୍ରଭ କରିବାକୁ ବସିଲେ । ଏଥିରେ ଇନ୍ଦ୍ର ଓ ଦେବଗଣ ଭୟଭୀତ ହେଲେ । ବଳି ଏକ ପ୍ରସିଦ୍ଧ ଯଜ୍ଞ କଲେ । ଏହି ଯଜ୍ଞ ଶେଷହେଲେ ଇନ୍ଦ୍ର ଓ ଦେବଗଣଙ୍କର ସମସ୍ତ ଶକ୍ତି ଓ ତେଜ ଚାଲିଯିବ । ଏହାର ଆଶୁ ନିରାକରଣ ପାଇଁ ଭଗବାନ ବିଷ୍ଣୁଙ୍କର ଶରଣାପନ୍ନ ହେଲେ । ବିଷ୍ଣୁ ବାମନ ରୂପରେ ବଳିଙ୍କ ଠାରୁ ତିନିଲୋକ ପ୍ରାପ୍ତହେଲେ । ଦାନପ୍ରଦାନ ଛଳରେ ମାୟାବୀବିଷ୍ଣୁ ଗର୍ବୀବଳିଙ୍କୁ ତୃତୀୟପାଦରେ ପାତାଳ ଚାପି ଦେଲେ । କଥା ଦେଲେ ଯେ ବଳି ବର୍ଷରେ ଥରେ କାର୍ତ୍ତିକ ଶୁକ୍ଲ୍ଲ ପ୍ରତିପଦା ଦିନ ପୃଥ୍ଵୀଲୋକକୁ ଆସିପାରିବ । ତାଙ୍କ ଆଗମନରେ ଭୂଲୋକବାସୀ ଆନନ୍ଦ ଉଲ୍ଲାସରେ ପ୍ରଦୀପ ଜାଳି ତାଙ୍କୁ ସମ୍ଵର୍ଦ୍ଧିତ କରିବେ । ସେହି ଆଲୋକ ସମ୍ଵର୍ଦ୍ଧନା କାଳକ୍ରମେ ଦୀପାବଳୀ ଉତ୍ସବରେ ରୂପାନ୍ତରିତ ହେଲା ।

ଦୈତ୍ୟ ରାଜା ବଳୀ

ଶ୍ରୀକୃଷ୍ଣ ଓ ନରକାସୁର

ଶ୍ରୀକୃଷ୍ଣ ଅତ୍ୟାଚାରୀ ନରକାସୁରକୁ କୃଷ୍ଣ ଚତୁର୍ଦଶୀ ଦିନ ବଧ କରିଥିଲେ ତେଣୁ ଖୁସିରେ ଆଲୋକର ଉତ୍ସବ ପାଳିତ ହେଇଥିଲା । ଏହି ଦିନ କୁ ନରକ ଚତୁର୍ଦ୍ଦଶୀ କୁହଯାଏ । ଏ ଦିନ ସୂର୍ୟୋଦୟ କାଳ ରେ ସମସ୍ତ ଶରୀର ରେ ସୁଗନ୍ଧ ତୈଳ ଲଗାଇ ଗାଧୋଈବାର ପ୍ରଥା ଅଛି ।

ଦ୍ଵାପରଯୁଗରେ ଶ୍ରୀକୃଷ୍ଣ ରାକ୍ଷସ ନରକାସୁରକୁ ମାରି ଚଉଷଠିସହସ୍ର ରାଜକନ୍ୟାଙ୍କୁ ଉଦ୍ଧାରକଲା ପରେ ଇନ୍ଦ୍ରମାତାଙ୍କୁ ନରକା ଦ୍ଵାରା ଅପହୃତ ମଣିକୁଣ୍ଡଳକୁ ଫେରାଇବାକୁ ସତ୍ୟଭାମାଙ୍କୁ ନେଇ ସ୍ଵର୍ଗକୁ ଯାଇଥିଲେ । ସତ୍ୟଭାମାଙ୍କ ଅନୁରୋଧରେ ପାରିଜାତ ବୃକ୍ଷର ଚାରାଟିଏ ଆଣିବାକୁ ଗଲାବେଳେ ଇନ୍ଦ୍ରଙ୍କ ସହିତ ସମସ୍ତଦେବତା ବାଧାଦେବାରୁ ଏକାକି ସବୁଦେବତାଙ୍କୁ ପରାସ୍ତ କରି ପାରିଜାତ ବୃକ୍ଷ ସହ ଅନେକ ଧନରତ୍ନ ନେଇ ଏହିଦିବସରେ ଦ୍ଵାରକା ଫେରିଥିଲେ । ତେଣୁ ଦ୍ଵାରକାବାସୀ ପ୍ରଭୁଙ୍କୁ ସ୍ଵାଗତ ଜଣାଇ ସମଗ୍ରନଗରୀକୁ ଦୀପମାଳାରେ ସଜାଇ, ବାଣ ଫୁଟାଇ ବିଜୟ ଉତ୍ସବ ପାଳନ କରିଥିଲେ ।

ଋକ ବେଦ

ଋକ୍ ବେଦରୁ ସୂଚନା ମିଳେ ଯେ, ପୃଥିବୀ ଏକଦା ଘୋର ଅନ୍ଧକାର ଭିତରେ ବୁଡି ରହିଥିଲା । କାଳ କ୍ରମେ ସୂର୍ଯ୍ୟଙ୍କ କିରଣ ପାଇ ପୃଥିବୀ ଦିନେ ଆଲୋକିତ ହେଲା । ଏହାକୁ ମନେ ରଖିବା ପାଇଁ ଦୀପାବଳୀ ଉତ୍ସବ ପାଳନ କରାଯାଏ ।

ଇତିହାସ

ମୋଗଲ ଯୁଗର ପ୍ରସିଦ୍ଧଐତିହାସିକ ଆବୁଲ ଫଜୀଲ ତାଙ୍କର ଆଇନ ଆକବରୀରେ ମୋଗଲ ଶାସନକାଳୀନ ବଣିକ, ଆଲୋକ ଜ୍ଜଳନ୍ତ ଓ ଅକ୍ଷକ୍ରୀଡା ନାମକ ଦୀପାବଳୀ ଆଧାରିତ ମନୋଜ୍ଞ ଉପକଥାର ଉଲ୍ଲେଖ କରିଛନ୍ତି । ଆଲବରୁଣୀରେ ମୋଗଲ ସମ୍ରାଟଙ୍କ ଲମ୍ବା ବାଉଁଶ ପୋତି ତା'ର ଅଗରେ ଶିକାରେ ଆକାଶପ୍ରଦୀପ ଜାଳିବାକଥା ବରୋଦା ସଂଗ୍ରହାଳୟରେ ରଖାଯାଇଥିବା ପ୍ରାଚୀନ ଆକାଶପ୍ରଦୀପ ଅତୀତରେ ଦୀପାବଳୀ ପାଳନ କରାଯାଉଥିବାର ପ୍ରମାଣ ଦିଏ।

ଚାଣକ୍ୟ ଓ ଚୋଳବଂଶକାଳୀନ ଉତ୍ସବ ପରମ୍ପରାରେ ଦୀପାବଳୀପାଳନ ହେଉଥିବାର କନୌଜବଂଶୀୟ ରାଜା ହର୍ଷବର୍ଦ୍ଧନଙ୍କ କାଳଜୟୀ ଅମରକୃତି ନାଟକ ନାଗାନନ୍ଦରୁ ଜଣାପଡେ ।

ଗୁପ୍ତବଂଶୀୟ ସମ୍ରାଟ ଦ୍ଵିତୀୟଚନ୍ଦ୍ରଗୁପ୍ତ ବିକ୍ରମାଦିତ୍ୟ, ପବିତ୍ର ଦୀପାବଳୀ ତିଥିରେ ସିଂହାସନ ଆରୋହଣ କରିଥିବାରୁ ତା'ର ସ୍ମାରକୀ ରୂପେ ଦୀପାବଳୀ ଦିନଠାରୁ ଗୁପ୍ତାଦ୍ଧର ପ୍ରଚଳନ ହୋଇଥିଲା ।

ବିଶେଷ

ଏହି ଦିନ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦେଇସାରି କାଉଁରିଆ କାଠି ଜାଳନ୍ତି । କାଉଁରିଆ କାଠି ଜାଳିବାବେଳେ ଉଚ୍ଚାରଣ କରନ୍ତି।

ବଡ଼ ବଡୁଆ ହୋ
ଅନ୍ଧାରରେ ଆସ ଆଲୁଅରେ ଯାଅ,
ପୁରୁଷୋତ୍ତମରେ ମହାପ୍ରସାଦ ଖାଇ
ବାଇଶି ପାବଛରେ
ବଡ଼ଗଡାଉ ଥାଅ ।

ପିତୃ ପୁରୁଷଙ୍କୁ ଆଲୋକ ଦେଖାଇ ସ୍ଵର୍ଗ ଲୋକକୁ ଫେରିଯିବା ପାଇଁ ପ୍ରାର୍ଥନା କରନ୍ତି । ଅସଂଖ୍ୟ ଭକ୍ତ ସେଦିନ ବାଇଶି ପାହାଚରେ ପିଣ୍ଡଦାନ କରି କାଉଁରିଆ କାଠି ବି ଜାଳନ୍ତି । ପିତୃଗଣଙ୍କ ଆଶୀର୍ବାଦ କାମନା କରନ୍ତି ।

ପିତୃ ଲୋକଂ ପରିତାଜ୍ୟ
ଆଗତା ଯେ ମହାଳୟେ
ଇଜ୍ଜ୍ଵଳେ ଜ୍ୟୋତିଷାଂ ମାର୍ଗେ
ପ୍ରପଦ୍ୟନ୍ତୋ ବ୍ରଜନ୍ତୁତେ ।
କାର୍ତ୍ତିକ ପୂର୍ଣ୍ଣିମାରେ ଜଗନ୍ନାଥଙ୍କୁ ଦୀପଦାନ କରାଯାଇ ବନ୍ଦାପନା କରାଯାଏ । ଯେଉଁ ଭକ୍ତ ଦୀପଦାନ, ବନ୍ଦାପନା ଦର୍ଶନ କରନ୍ତି , ସେ ଅନ୍ତ କାଳରେ ବିଷ୍ଣୁ ଲୋକକୁ ଗମନ କରନ୍ତି ବୋଲି ବିଶ୍ଵାସ ରହିଛି ।

ବିଭିନ୍ନ ସ୍ଥାନରେ ଦୀପାବଳୀ

ଦୀପାବଳୀ ଭାରତ, ନେପାଳ, ଶ୍ରୀଲଙ୍କା, ମିଆଁମାର, ମରିସସ, ଗୁଏନା, ତ୍ରିନିଦାଦ ଓ ଟବାଗୋ, ସୁରିନେମ, ମାଲେସିଆ, ସିଙ୍ଗାପୁର, ଓ ଫିଜିରେ ଏକ ସରକାରୀ ଛୁଟିଦିନ ଭାବରେ ଘୋଷିତ ।

ଆଧାର -

  1. "ଆଲୋକର ପର୍ବ ଦୀପାବଳୀ"
  2. "ଦୀପାବଳୀ"

Last Modified : 12/21/2019



© C–DAC.All content appearing on the vikaspedia portal is through collaborative effort of vikaspedia and its partners.We encourage you to use and share the content in a respectful and fair manner. Please leave all source links intact and adhere to applicable copyright and intellectual property guidelines and laws.
English to Hindi Transliterate